ଆସନ୍ତାକାଲି ଠାରୁ ପ୍ରବଳରୁ ଅତି ପ୍ରବଳ ବର୍ଷା
ଆସନ୍ତାକାଲି ଠାରୁ ପ୍ରବଳରୁ ଅତି ପ୍ରବଳ ବର୍ଷା
admin
Aug 28, 2019 - 07:38
Updated: Aug 28, 2019 - 07:38
ଭୁବନେଶ୍ୱର: ଆସନ୍ତା ୨୪ଘଣ୍ଟାରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି । ଏହା ପ୍ରଭାବରେ ରାଜ୍ୟରେ ଆସନ୍ତାକାଲି ଠାରୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ଆଶଙ୍କା କରାଯାଉଛି । ଏନେଇ ଭୁବନେଶ୍ୱରସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଜାରି କରାଯାଇଛି ।
୨୯ ତାରିଖରେ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ପ୍ରଭାବରେ ଆଜି ରାଜ୍ୟର କେତେକ ସ୍ଥାନରେ ବର୍ଷା ଆରମ୍ଭ ହୋଇସାରିଛି । ଆଜି ପାଗ ମେଘୁଆ ରହିବା ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ସମ୍ଭାବନା ରହିଛି । କିନ୍ତୁ ଆସନ୍ତା କାଲି ଠାରୁ ୩୧ ତାରିଖ ଯାଏଁ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବା ସମ୍ଭାବନା ରହିଛି ବୋଲି ଆଂଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି ।
ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବ । ତେଣୁ ଏହି ୪,୫ ଦିନ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ପ୍ରବେଶ ନ କରିବାକୁ ଭୁବନେଶ୍ୱରସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଜାରି କରାଯାଇଛି ।
୩୦ରୁ ସେପ୍ଟେମ୍ବର ୧ ତାରିଖ ମଧ୍ୟରେ ଓଡ଼ିଶାର ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗିର, ନୂଆପଡ଼ା ଓ କନ୍ଧମାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାକୁ ଥିବାରୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ଏହି ସମୟ ମଧ୍ୟରେ ବରଗଡ଼, ସୋନପୁର, ବୌଦ୍ଧ, ଗଞ୍ଜାମ, ପୁରୀ, ଖୋର୍ଧା, ଗଜପତି, ରାୟଗଡ଼ା ଓ ସମ୍ବଲପୁରରେ ପ୍ରବଳ ବର୍ଷା ଲାଗିରହିବ।
୩୧ରେ ବର୍ଷାର ପ୍ରକୋପ ବଢ଼ିବ । ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ସେପ୍ଟେମ୍ବର ୧ରେ ଓଡ଼ିଶା ସଂଲଗ୍ନ ବଙ୍ଗୋପସାଗରରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବ । ଫଳରେ ୨ରୁ ୪ ତାରିଖ ଯାଏ ଓଡ଼ିଶାରେ ବର୍ଷା ହେବ । ବାଲୁଗାଁଠାରୁ ଭବାନୀପାଟଣା ପର୍ୟ୍ୟନ୍ତ ସଂଲଗ୍ନ ସରଳରେଖାର ଦକ୍ଷିଣରେ ଥିବା ଅଞ୍ଚଳ ଯଥା ଅବିଭକ୍ତ ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ ଓ କୋରାପୁଟର ବିସ୍ତୃତ ଅଞ୍ଚଳରେ ବର୍ଷା ହେବ । କେତେକ ସ୍ଥାନରେ ଅତିପ୍ରବଳ ବର୍ଷା ହୋଇପାରେ। ମୋଟାମୋଟି ଭାବେ ରାଜ୍ୟରେ ଉପକୂଳରେ ସ୍ବାଭାବିକ କିମ୍ବା ତା’ଠାରୁ ଅଧିକ ବର୍ଷା ହେବାକୁ ଥିବା ବେଳେ ପଶ୍ଚିମ ଓଡ଼ିଶାରେ ବର୍ଷା କମ ରହିବ ।