ଭୁବନେଶ୍ବର : ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଉପକୂଳ ଓଡ଼ିଶା ସମେତ ପଶ୍ଚିମ ଓଡ଼ିଶାର କେତେକ ସ୍ଥାନରେ ମଧ୍ୟମ ଧରଣର ବର୍ଷା ଲାଗି ରହିଛି। ଆଜି କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆକଳନ କରିଛି ପାଣିପାଗ ବିଭାଗ। ବିଶେଷ କରି କେନ୍ଦୁଝର, ଢେଙ୍କାନାଳ, ଯାଜପୁର, କଟକ, ଜଗତସିଂହପୁର ଓ ପୁରୀ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏପିରିକି କିଛି ସ୍ଥାନରେ ବର୍ଷାର ପରିମାଣ ୮୦ ମିଲିମିଟର ଟପିପାରେ। ଏଥିପାଇଁ ଏସବୁ ଜିଲ୍ଲାରେ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି ।
