ଆଜି ୪ଟି ଜିଲ୍ଲାରେ ପ୍ରବଳ ବର୍ଷା

ଆଜି ୪ଟି ଜିଲ୍ଲାରେ ପ୍ରବଳ ବର୍ଷା

ରାଜ୍ୟ

ଭୁବନେଶ୍ୱର: ରାଜ୍ୟରେ ଆହୁରି ୫ ଦିନ ଘଡ଼ଘଡ଼ି ସହ ବର୍ଷା ଜାରି ରହିବ । ତେବେ ୨୯ ତାରିଖରୁ କାଳବୈଶାଖୀ ବର୍ଷା ସାମାନ୍ୟ କମିପାରେ । କାଁ ଭାଁ କିଛି ସ୍ଥାନରେ ବର୍ଷା ହେବ । ତେବେ ଆଜି ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ କେନ୍ଦ୍ର (ଆଇଏମଡି) ପୂର୍ବାନୁମାନ କରିଛି । ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବ । ଗଜପତି, ଗଞ୍ଜାମ, ରାୟଗଡ଼ା ଓ କୋରାପୁଟରେ ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ବୁଲେଟିନ ଜାରି କରିଛି । ଏହି ୪ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଘଡ଼ଘଡ଼ି ସହ ବର୍ଷା ସାଙ୍ଗକୁ ୪୦ ରୁ ୫୦ କିମି ବେଗରେ ପବନ ବି ବୋହିବ ବୋଲି ପୂର୍ବାନୁମାନ କରାଯାଉଛି । ସେହିପରି ଉତ୍ତର ଉପକୂଳ ଓଡ଼ିଶା ଓ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ୧୬ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ମୟୂରଭଞ୍ଜ, ଢ଼େଙ୍କାନାଳ, କେନ୍ଦୁଝର, କନ୍ଧମାଳ, ମାଲକାନଗିରି, ନବରଙ୍ଗପୁର ଓ କଳାହାଣ୍ଡି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୯ ତାରିଖରେ କେନ୍ଦୁଝର, ଭଦ୍ରକ, ବାଲେଶ୍ୱର ଓ ମୟୂରଭଞ୍ଜ ସମେତ ଉପକୂଳ ଓଡ଼ିଶାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ । ଏସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୩୦ ତାରିଖରୁ କାଳବୈଶାଖୀ ବର୍ଷା କମିଯିବ । କିନ୍ତୁ ୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ୨୯ ରୁ ୪ ତାରିଖ ଭିତରେ ତାପମାତ୍ରା ଗରମ ରହିବ । କାଁ ଭାଁ ସ୍ଥାନରେ କାଳବୈଶାଖୀ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି |