ଲୁହାପଥର ଖଣିରୁ ଉତ୍ପାଦନ ଆରମ୍ଭ

ଲୁହାପଥର ଖଣିରୁ ଉତ୍ପାଦନ ଆରମ୍ଭ

ଲୁହାପଥର ଖଣିରୁ ଉତ୍ପାଦନ ଆରମ୍ଭ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ କେନ୍ଦ୍ର ସଂସଦୀୟ ବ୍ୟାପାର, କୋଇଲା ଓ ଖଣି ବିଭାଗ ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ଆଜି ମିଳିତ ଭାବରେ ଓଡ଼ିଶା ଖଣି ନିଗମକୁ ଆବଣ୍ଟିତ ଦୁଇଟି ଖଣି ଗୁଆଳି ଓ ଜିଲ୍‌ଙ୍ଗ ଲାଙ୍ଗଲୋଟା ଲୁହାପଥର ଖଣିର ଉତ୍ପାଦନ କାର୍ୟ୍ୟର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ନବୀନ କହିଛନ୍ତି କି ଏହି ଦୁଇଟି ଖଣିରୁ ଉତ୍ପାଦନ ଦ୍ବାରା ଲୁହାପଥର ବଜାରରେ ସ୍ଥିରତା ଆସିବା ସହ ଶିଳ୍ପର ଯୋଗାଣ ଚାହିଦା ମେଣ୍ଟାଇବାରେ ସହାୟକ ହେବ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡ଼ିଶା ସବୁବେଳେ ଖଣି ସଂପର୍କିତ କ୍ଷେତ୍ରରେ ଅନେକ ଆଗୁଆ ପଦକ୍ଷେପ ନେଇଛି। ଏହି କ୍ଷେତ୍ରରେ ସ୍ବଚ୍ଛତା ପାଇଁ ଲୁହାପଥର ପରିବହନର ତଦାରଖ ନିମନ୍ତେ ୧୩ ଏମ୍‌ସ୍‌ ସିଷ୍ଟମ୍‌ ଆରମ୍ଭ କରାଯାଇଛି ଏବଂ ଗତ କିଛି ବର୍ଷ ମଧ୍ୟରେ ଅନେକ ବଡ଼ ବଡ଼ ଖଣିର ନିଲାମ ପ୍ରକ୍ରିୟା ସଫଳତାର ସହ କରାଯାଇଛି । ଗତ ଦୁଇ ଦଶନ୍ଧି ମଧ୍ୟରେ ଓଡ଼ିଶାରେ ଖଣି ଓ ଧାତବ ଶିଳ୍ପ କ୍ଷେତ୍ରରେ ଉଲ୍ଲେଖନୀୟ ଅଭିବୃଦ୍ଧି ହୋଇଛି ବୋଲି ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଇସ୍ପାତ, ଆଲୁମିନିୟମ ଓ ଅନ୍ୟ ଧାତବ ଶିଳ୍ପ କ୍ଷେତ୍ରରେ ବିଶ୍ବର ଏକ ଗୁରୁତ୍ବପୂର୍ଣ୍ଣ କେନ୍ଦ୍ର ହେବାର ଦକ୍ଷତା ଓଡ଼ିଶାର ରହିଛି। ରାଜ୍ୟର ଶିଳ୍ପ ଅନୁକୂଳ ପଦକ୍ଷେପ ପୁଞ୍ଜି ବିନିଯୋଗକୁ ଉତ୍ସାହିତ କରିଛି । ଖଣି ଓ ଧାତବ ଶିଳ୍ପ କ୍ଷେତ୍ରରେ ରାଜ୍ୟର ବିପୁଳ ସମ୍ଭାବନାକୁ ବାସ୍ତବ ରୂପ ଦେବା ପାଇଁ ଉଭୟ ରାଜ୍ୟ ଓ କେନ୍ଦ୍ର ମିଳିତ ଭାବେ କାର୍ୟ୍ୟ କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଆରୋପ କରିଥିଲେ । ଏହି ଅବସରରେ ଉଦ୍‌ବୋଧନ ଦେଇ କେନ୍ଦ୍ରମନ୍ତ୍ରୀ ପ୍ରହ୍ଲାଦ ଯୋଶୀ କହିଥିଲେ ଯେ ଓଡ଼ିଣା ଖଣିଜ ସଂପଦରେ ସମୃଦ୍ଧ । ତେଣୁ କେନ୍ଦ୍ର ଓ ରାଜ୍ୟ ପରସ୍ପର ମଧ୍ୟରେ ସହଯୋଗ ରଖି କାମ କଲେ ଉଭୟ ରାଜ୍ୟ ଓ ଦେଶର ଅର୍ଥନୀତି ସମୃଦ୍ଧ ହେବ ବୋଲି ଯୋଶୀ ମତ ରଖିଛନ୍ତି। ଉଦ୍‌ଘାଟନ ଉତ୍ସବରେ ଉପସ୍ଥିତ ରାଜ୍ୟ ଖଣି, ଇସ୍ପାତ ଓ ପୂତ୍ତ ବିଭାଗ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ଗୁଆଳି ଓ ଜିଲିଙ୍ଗ ଲାଙ୍ଗଲୋଟା ଖଣି ଦୁଇଟିରୁ ଉତ୍ପାଦନ ପାଇଁ କେନ୍ଦ୍ର ଓ ରାଜ୍ୟ ସମନ୍ବୟ ରଖି କାର୍ୟ୍ୟ କରିଥିବାରୁ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ । ଏହି କାର୍ୟ୍ୟକ୍ରମରେ ରାଜ୍ୟସଭା ସାଂସଦ ଅଶ୍ବିନୀ ବୈଷ୍ଣବ, ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ଉନ୍ନୟନ କମିଶନର ପି.କେ. ଜେନା, ଅର୍ଥ ବିଭାଗ ପ୍ରମୁଖ ସଚିବ ଅଶୋକ କୁମାର ମୀନା ପ୍ରମୁଖ ଉପସ୍ଥିତ ଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ୟ୍ୟକ୍ରମକୁ ସଂଯୋଜନା କରିଥିଲେ ।